୫ଟି ଜିଲାର ୪୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
![](https://thetruths.in/wp-content/uploads/2022/06/Cm-Naveen-Patnaik-1.jpg)
ଆତ୍ମବିଶ୍ୱାସ ସହ ଆଗକୁ ବଢିବାକୁ ଛାତ୍ର ଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର : ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶନିବାର ୫ଟି ଜିଲ୍ଲାର ଆଉ ୪୪୦ ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । କେନ୍ଦୁଝର ଜିଲ୍ଲାର ୧୪୫ଟି ହାଇସ୍କୁଲ, ସୁନ୍ଦରଗଡର ୧୮୦ଟି, ରାୟଗଡର ୭୦ଟି,ଓ ନୂଆପଡାର ୪୫ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ୱତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ୱପ୍ନ । ଜୀବନରେ କିଛି ବଡ କରିବାର ସ୍ୱପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ୱପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ୱପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତି ସ୍ଥାପିତ ହେବ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପିଲାମାନଙ୍କୁ ୫-ଟି ମହତ୍ୱ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ୱଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।
ଟେକ୍ନୋଲୋଜି ଦ୍ୱାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ୱ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍ସପରେନ୍ସି ବା ସ୍ୱଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି । ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି । ଏହି ସ୍ୱଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ବିଧାୟକ ପ୍ରେମାନନ୍ଦ ନାୟକ, ବିଧାୟକ ଜଗନ୍ନାଥ ସାରକା, ବିଧାୟକ ରାଜେନ୍ଦ୍ର ଢୋଲକିଆ ଓ ବିଧାୟକ ସାରଦା ପ୍ରସାଦ ନାୟକ ପ୍ରମୁଖ ଉଦବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଏହି ଦୂରଦର୍ଶୀ ପଦକ୍ଷେପ ର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ ।