ଲଘୁଚାପ ସକ୍ରିୟ: ଆଗାମୀ ୪ ଦିନ ପ୍ରବଳ ବର୍ଷିବ, ଆଜି ୧୦ ଜିଲାକୁ ୱାର୍ଣ୍ଣିଂ
ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉପକୂଳ ବାଂଲାଦେଶ, ଗାଙ୍ଗୀୟ ପଶ୍ଚିମବଙ୍ଗ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସମ୍ପୃକ୍ତ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ଦୁଇଦିନ ମଧ୍ୟରେ ଗାଙ୍ଗୀୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଆଡ଼କୁ ମୁହାଁଇବ। ଏହା ଫଳରେ ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁସାରେ, ସମ୍ପୃକ୍ତ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ; କିନ୍ତୁ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କନ୍ଧମାଳ, କଟକ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ନୟାଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ଅଞ୍ଚଳରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଉକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ରବିବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି
ଅନ୍ୟପକ୍ଷରେ ଲଘୁଚାପ ନେଇ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି) ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଲଘୁଚାପ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ। ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।
ସୂଚନା ଯେ, ଗତ ୨୪ଘଣ୍ଟା ମଧ୍ୟରେ ଅନୁଗୋଳ, ସୁବର୍ଣ୍ଣପୁର, କନ୍ଧମାଳ, କୋରାପୁଟ, ବୌଦ୍ଧ ଏବଂ ସମ୍ବଲପୁର ଜିଲାରେ ବର୍ଷା ହୋଇଛି। ଅନୁଗୋଳର ଆଠମଲ୍ଲିକରେ ସବୁଠୁ ଅଧିକ ବର୍ଷା ୯୮.୩ ମି.ମି ରେକର୍ଡ ହୋଇଥିବାବେଳେ ସୁବର୍ଣ୍ଣପୁର ବିନିକାରେ ୭୨ ମି.ମି, ସୁବର୍ଣ୍ଣପୁରରେ ୭୧.୪ମି.ମି ବର୍ଷା ରେକର୍ଡ କରାଯାଇଛି। ଶୁକ୍ରବାର ସକାଳ ସାଢେ ୮ଟାରୁ ଅପରାହ୍ଣ ସାଢ଼େ ୫ଟା ମଧ୍ୟରେ ଯାଜପୁରରେ ୪୫ମି.ମି ବର୍ଷା ରେକର୍ଡ କରାଯାଇଥିବାବେଳେ ସୁବର୍ଣ୍ଣପୁର ୩୨ ମି.ମି, କୋରାପୁଟ ୫୭ମି.ମି,ପାରାଦ୍ବୀପ ୧୨.୯ମି.ମି ଏବଂ ନୂଆପଡ଼ାରେ ୪୫ ମି.ମି ବର୍ଷା ହୋଇଛି। ଅନ୍ୟପଟେ ଭୁବନେଶ୍ବର, କଟକ, କେନ୍ଦ୍ରାପଡ଼ା ସହିତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି।