୯ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଆଗାମୀ ୫ଦିନ ଯାଏ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଚି ହୋଇଥିବା ଲଘୁଚାପ ୱେଲମାର୍କଡ଼ ବା ସ୍ପଷ୍ଟ ରୂପ ନେଇଛି । ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି । କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ ।
ପ୍ରବଳ ବର୍ଷା ନେଇ ୯ଟି ଜିଲା ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୋନପୁର, କେନ୍ଦୁଝର, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟରକୁ ବୃଦ୍ଧି ପାଇପାରେ । ତେବେ ଆଗାମୀ କିଛି ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବିଭାଗ ପକ୍ଷରୁ ସତର୍କ କରାଯାଇଛି ।