ଦେଶରେ ଆଉ ୧,୨୩୩ କରୋନା ସଂକ୍ରମିତ ଓ ୩୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗିଛି ବ୍ରେକ୍ । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ଶହ ତଳକୁ ରହିଛି ମୃତ୍ୟୁ ସଂଖ୍ୟା । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୩୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୩୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୩,୨୧୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୦୩୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୮୭୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୮୭,୪୧୦।ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪୭୦୪। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୩,୮୨,୪୧,୭୪୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୮୫,୫୬,୯୩୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୨୪,୦୨୨ଟି ନମୁନା।