୧୦ରେ ୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱବର୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାରେ ପରିଣତ ହୋଇପାରେ । ଆଜି ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଉତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ । ଏହାପରେ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସେହିପରି ଏହି ସମ୍ଭାବ୍ୟ ବାତ୍ୟା ୧୦ ତାରିଖ ସୁଦ୍ଧା ଉପକୂଳ ଛୁଇଁପାରେ । କିନ୍ତୁ ଏହା କେଉଁଠି ଲ୍ୟାଣ୍ଡଫଲ୍ କରିବ ତାହା ଏ ଯାଏ ସ୍ପଷ୍ଟ ହୋଇନି । ୧୦ ତାରିଖ ଦିନ ଉପକୂଳ ଓଡିଶାର ଅଧିକାଂଶ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହାସହ ଗଂଜାମ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
ତେବେ ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି ରହିପାରେ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁସାରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏହି ସମୟରେ ଏହି ସବୁ ଜିଲାରେ ଘଂଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହିସବୁ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୭ରୁ ୮ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।