ସ୍କୁଲ ରୂପାନ୍ତର ପିଲାଙ୍କ ସ୍ୱପ୍ନ ଓ ସଫଳତା ମଧ୍ୟରେ ସେତୁ ହୋଇଛି – ମୁଖ୍ୟମନ୍ତ୍ରୀ
୫ଟି ଜିଲ୍ଲାର ୪୯୦ ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ୫ଟି ଜିଲ୍ଲାର ୪୯୦ ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକର ୧୩୫ଟି, କଳାହାଣ୍ଡିର ୧୦୦ଟି, ଝାରସୁଗୁଡାର ୭୦ଟି ଓ ବରଗଡର ୯୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ରୂପାନ୍ତର ପିଲାଙ୍କ ସ୍ୱପ୍ନ ଓ ସଫଳତା ମଧ୍ୟ୍ୟରେ ସେତୁ ପରି ହୋଇଛି ।
ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ଏହି ସୁଯୋଗ ର ଉପଯୋଗ କରି ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇ ଥିଲେ । ପ୍ରତ୍ୟେକ ପିଲା ସ୍ୱତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ୱପ୍ନ । ଜୀବନରେ କିଛି ବଡ କରିବାର ସ୍ୱପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ୱପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ । ପିଲାମାନଙ୍କ ସ୍ୱପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତି ସ୍ଥାପିତ ହେବ । କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ମନ୍ତ୍ରୀ ନବକିଶେର ଦାସ, ବିଧାୟକ ଧ୍ରୁବ ଚରଣ ସାହୁ, ବିଧାୟକ ଦେବୀପ୍ରସାଦ ମିଶ୍ର,କଳାହାଣ୍ଡି ଜିଲ୍ଲା ପରିଷଦ ସଭାପତି ପୁଷ୍ପେନ୍ଦ୍ର ସିଂହଦେଓ ଓ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ ପ୍ରମୁଖ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଙ୍କ ୫-ଟି କାର୍ଯ୍ୟକ୍ରମ ଶିକ୍ଷା କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ କରି ଗଢ଼ିତୋଳିବ ବୋଲି ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ ।