ଦେଶରେ ଆଉ ୧୦,୦୯୩ କରୋନା ସଂକ୍ରମିତ ଓ ୧୯ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦ହଜାର ଉପରେ । ଏହା କ୍ରମାଗତ ୪ ଦିନ ହେବ ଜାରି ରହିଛି । ଏଥିସହ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ହଜାର ଟପି ଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୦୯୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୦୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୧୮,୧୧୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୧୧୪କୁ ବୃଦ୍ଧି ପାଇଛି। ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୬.୭୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୪.୪୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୨୯,୪୫୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୮% ରହିଛି। ଦେଶରେ ଦୈନିକ ପଜିଟିଭିଟି ହାର ୪.୪୨% ଥିବାବେଳେ ସାପ୍ତାହିକ ପଜିଟିଭିଟି ହାର ୪.୦୨% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭,୫୪୨କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୩%। ସେହିପରି ଗତ ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୬,୩୨୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନରେ ଗତ ଶନିବାର ୧,୭୯,୮୫୩ଟି ନମୁନା ପରୀକ୍ଷା କରାଯାଇଛି ।