ଆଜି ସୃଷ୍ଟି ହେବ ଲଘୁଚାପ; ୧୦ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା
![](https://thetruths.in/wp-content/uploads/2022/08/Low-Pressure-1024x576.jpg)
ତଳିଆ ଅଞ୍ଚଳର କଚ୍ଚା ଘର ପ୍ରଭାବିତ ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା
ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ ଓ ଓଡ଼ିଶା ଉପକୂଳକୁ ଯିବା ମନା
ଭୁବନେଶ୍ୱର : ଉତର-ପଶ୍ଚିମ ଓ ପାଶ୍ୱବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆସନ୍ତା ୧୦ ଯାଏଁ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ଓ କଚ୍ଚା ଘର ପ୍ରଭାବିତ ହେବା ସମ୍ଭାବନା ରହିଛି। ସେହିପରି ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ଚାଷୀମାନଙ୍କୁ ସାମୟିକ ଭାବେ ଜମିରେ ୧୦ ତାରିଖ ଯାଏଁ କୀଟନାଶକ, ସାର ଓ ଜଳସେଚନ ନ କରିବା ପାଇଁ ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇ ଥିବାବେଳେ ଓଡ଼ିଶା ଉପକୂଳକୁ ଯିବାକୁ ମନା କରାଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
୭ ତାରିଖ (ରବିବାର) ସକାଳ ସାଢ଼େ ୮ଟାରୁ ୮ ତାରିଖ (ସୋମବାର) ସକାଳ ସାଢ଼େ ୮ଟା ଭିତରେ ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍ ସେହିପରି ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
୮ ତାରିଖ (ସୋମବାର) ସକାଳ ସାଢ଼େ ୮ଟାରୁ ୯ ତାରିଖ (ମଙ୍ଗଳବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ନୟାଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍ ସେହିପରି ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୨୦ ସେମିରୁ ଅଧିକ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
୯ ତାରିଖ (ମଙ୍ଗଳବାର) ସକାଳ ସାଢ଼େ ୮ଟାରୁ ୧୦ ତାରିଖ (ବୁଧବାର) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ,ସମ୍ୱଲପୁର, ଯାଜପୁର ଓ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।