ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା, ୧୯ ଓ ୨୦ରେ ପ୍ରବଳରୁ ଅତି ପ୍ରବଳ ଛେଚିବ
![](https://thetruths.in/wp-content/uploads/2022/08/Low-Pressure-2-1024x576.jpg)
ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜିଲାପାଳଙ୍କୁ ଆଲର୍ଟ କଲେ ଏସଆରସି
ଭୁବନେଶ୍ୱର : ଦକ୍ଷିଣ ମିଆଁମାର ଓ ପାର୍ଶ୍ୱବର୍ତୀ ଅଂଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ସୁଦ୍ଧା ଉତର ବଙ୍ଗୋପସାଗର ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୮ ତାରିଖରୁ ବର୍ଷା ଆରମ୍ଭ ହେବ । ହେଲେ ୧୯ ଓ ୨୦ ତାରିଖ ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସେହିପରି ରାଜ୍ୟର ୧୦ଟି ଜିଲାରେ ଏବେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେବା ସହ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କାନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାରୀ ସମ୍ଭାବନା ରହିଛି । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଠିକ୍ ସେହିପରି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, ସୋନପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଜନିତ ବର୍ଷା ପ୍ରଭାବରେ ୧୯ ଓ ୨୦ ତାରିଖରେ ଘଂଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବୋହିପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷା ଯୋଗୁ ତଳିଆ ଅଂଚଳ ଜଳମଗ୍ନ ହେବ । ଭୂସ୍ଖଳନ ହେବାର ସମ୍ଭାବନା ରହିଛି ।