ଆରପାରିରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ଭୁବନେଶ୍ୱର : ଆରପାରିରେ ଓଡ଼ିଶା ରାଜନୀତିର ବରିଷ୍ଠ ନେତା ଭାବେ ପରିଚିତ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ହସ୍ପିଟାଲ ପକ୍ଷରୁ ପ୍ରକାଶ କରାଯାଇଛି । ଦାମୋଦରଙ୍କ ଦେହାନ୍ତ ନେଇ ପୁଅ ସମ୍ବିତ ସୂଚନା ଦେଇଛନ୍ତି।
ଦୀର୍ଘ ଦିନ ଧରି କିଡନୀ ସମସ୍ୟା ସହ ଯୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ, ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ଘରୋଇ ହସ୍ପିଟାଲକୁ ନେବା ଭିତରେ ବ୍ରେନକୁ ବ୍ଲଡ ଓ ଅକ୍ସିଜେନ୍ ସପ୍ଲାଇ କମିଯାଇଥିଲା ବୋଲି କହିଛନ୍ତି ପୁଅ ସମ୍ବିତ। ଘରୋଇ ହସ୍ପିଟାଲରେ ପହଞ୍ଚିବା ପରେ ତାଙ୍କୁ ସିପିଆର୍ ଦିଆଯାଇଥିଲା ଏବଂ ହାର୍ଟ ଚାଲିଥିଲା। ତେବେ ମସ୍ତିଷ୍କରେ ଗୁରୁତର କ୍ଷତି ହୋଇଥିବାରୁ ସେ ବ୍ରେନଡେଡ୍ ସ୍ଥିତିରେ ବୋଲି କହିଥିଲେ ସମ୍ବିତ ।