୧୬ ଯାଏଁ ପ୍ରବଳ ବର୍ଷା, ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର : ରାଜ୍ୟରେ ଏବେ ମୌସୁମୀ ଓ ଲଘୁଚାପଜନିତ ବର୍ଷା ଜାରି ରହିଛି। ବୁଧବାର ୧୬ଟି ଜିଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ବିଶେଷ କରି ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତାକାଲିଠୁ ୧୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବିଭିନ୍ନ ଜିଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ରେ କୁହାଯାଇଛି, ୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ରେକର୍ଡ କରାଯାଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ଯାଏ ପୁରୀ, ଗଜପତି, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ୱଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଭଦ୍ରକ, ବାଲେଶ୍ୱର, ଗଜପତି, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ଭିତରେ ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୁଳୁ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ସମ୍ୱଲପୁର, ସୋନପୁର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।