ଆଜି ଏହି ସବୁ ଜିଲାରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୭ ଜିଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
![](https://thetruths.in/wp-content/uploads/2022/04/Rain-in-Odisha-1.jpg)
ରାଜ୍ୟରେ ବର୍ତ୍ତମାନ ସକ୍ରିୟ ରହିଛି ମୌସୁମୀ । ଫଳରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗକୁ ଆସୁଛି ଆଉ ଏକ ବଡ଼ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ କାଲିଠୁ ପୁଣି ବର୍ଷା ହେବ । ୨୨ ତାରିଖ ଯାଏ ପ୍ରବଳ ବର୍ଷିବ । ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଜି ପୁରୀ ସମେତ ଦକ୍ଷିଣ ଓଡ଼ିଶାର ୭ ଜିଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ। ସେହିଭଳି ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୧ ତାରିଖ ଦିନ ବି ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ ।