ରେକର୍ଡ ଭାଙ୍ଗୁଛି କରୋନା : ଆଉ ୯୬,୯୮୨ ସଂକ୍ରମିତ ଓ ୪୪୬ ମୃତ
ନୂଆଦିଲ୍ଲୀ : ଦେଶରେ ସାଂଘାତିକ ହେଉଛି କରୋନା ସ୍ଥିତି । ଦୈନିକ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଏଥିସହିତ ଦୈନିକ କରୋନା ସଂକ୍ରମଣ ମାମଲାରେ ଭାରତ ବିଶ୍ୱରେ ୧ ନମ୍ବରରେ ପହଞ୍ଚିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଉଛି। ଅନ୍ୟପଟେ କରୋନା ଟିକାକରଣ ଚାଲିଥିବା ସତ୍ତ୍ୱେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୭ କୋଟି ୫୯ ଲକ୍ଷ ୭୯ ହଜାର ୬୫୧ ଜଣଙ୍କୁ ଟିକା ଦିଆଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ୮ଟି ରାଜ୍ୟରେ ୮୧.୪୨% କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ମହାରାଷ୍ଟ୍ର ସମେତ ୫ଟି ରାଜ୍ୟରେ ୮୬% ମୃତକ ରହିଛନ୍ତି ।
ଏହାରି ମଧ୍ୟରେ ମଙ୍ଗଳବାର ଗତ ୨୪ଘଣ୍ଟାରେ ୯୬ହଜାର ୯୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨୬ଲକ୍ଷ ୮୬ହଜାର ୪୯କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୬୫ହଜାର ୫୪୭ରେ ପହଞ୍ଚିଛି । ଅନ୍ୟପକ୍ଷରେ ୧କୋଟି ୧୭ଲକ୍ଷ ୩୨ହଜାର ୨୭୯ଜଣ ସୁସ୍ଥ ହୋଇଥିବା ବେଳେ ୭ଲକ୍ଷ ୮୮ହଜାର ୨୨୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।