୧୧ରେ ବଙ୍ଗୋପସାଗରରେ ଲଘୁଚାପ!
- ଆସନ୍ତା ୨୪ ଘଂଟା ମଧ୍ୟରେ ୧୨ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ତଥା ସଂଲଗ୍ନ ଉତର-ପଶ୍ଚିମ ଏବଂ ଉତର-ଆନ୍ଧ୍ର-ଦକ୍ଷିଣ ଓଡିଶା ଉପକୂଳ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାରେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୯ ତାରିଖରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ନବରଙ୍ଗପୁର , ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବରଗଡ, ଝାରସୁଗୁଡା, ସୁନ୍ଦରଗଡ,କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।