ଅବପାତରେ ପରିଣତ ହେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ଜଟିଳ ଥିବା ବେଳେ ଏହା ଉପରେ ଆଉଏକ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁରାଜ୍ୟର ଅନେକ ଗାଁ ଏବେ ବନ୍ୟାପାଣିରେ ଉବୁଟୁବୁ ହେବାରେ ଲାଗିଛି । ସେପଟେ ଆହୁରି ୨ ଦିନ ପାଇଁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଜି (ଶୁକ୍ରବାର) ଏବଂ ଆସନ୍ତାକାଲି (ଶନିବାର) ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ।
ରାଜ୍ୟରେ ଆସନ୍ତା ଦୁଇ ଦିନ ରାଜ୍ୟ ଲଘୁଚାପ ଯୋଗୁଁ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ସୃଷ୍ଟ ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୯ ଏବଂ ୨୦ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କେତେକ ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୦ ତାରିଖରେ ପଶ୍ଚିମ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ଛତିଶଗଡରେ ମଧ୍ୟ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ୨ ଦିନ ପାଇଁ ରାଜ୍ୟକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷାର ପ୍ରଭାବ ନଦୀଗୁଡ଼ିକ ଉପରେ ପଡ଼ିବ । ଯେଉଁ ନଦୀ ଗୁଡ଼ିକରେ ବନ୍ୟା ସ୍ଥିତି ରହିଛି, ସେଗୁଡ଼ିକ ଅଧିକ ପ୍ରଭାବିତ ହୋଇପାରନ୍ତି । ଉତର-ପଶ୍ଚିମ ଓଡ଼ିଶାର ପାହାଡ଼ିଆ ସ୍ଥାନରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ବୋଲି ଆଇଏମ୍ଡି ଡିଜି ଶ୍ରୀ ମହାପାତ୍ର କହିଛନ୍ତି ।
୧୯ ତାରିଖ (ଶୁକ୍ରବାର) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ପୁରୀ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲାରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଅନ୍ୟପଟେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଏହି ଦୁଇଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ସେହିପରି ୨୦ ତାରିଖ (ଶନିବାର) ପାଇଁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଦିଆଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ, ସୁନ୍ଦରଗଡ , ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।