ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ
୧୯୩୬ ଏପ୍ରିଲ ୧ ତାରିଖ, ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ଆଜି ପୁରିଛି ୮୭ ବର୍ଷ । ତେବେ ଭାଷା ଭିତରେ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଥିବା ଭାରତର ପ୍ରଥମ ରାଜ୍ୟ ହେଉଛି ଓଡ଼ିଶା । ତା’ ଆଗରୁ ଆଧୁନିକ ଭାରତରେ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ ନ ଥିଲା କହିଲେ ଚଳେ । ବିକ୍ଷିପ୍ତ ଭାବେ ରହିଥିଲା ଓଡ଼ିଆ ଭାଷାଭାଷୀ ଅଞ୍ଚଳ । କହିବାକୁ ଗଲେ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ିଥିଲା ଉତ୍କଳ ।
ଏହା ଓଡ଼ିଶା ତଥା ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ବହୁ ଘାତ-ପ୍ରତିଘାତ ମଧ୍ୟରେ ଏହି ଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ଏହା ଥିଲା ଊନବିଂଶ ଶତାଦ୍ଦୀର ଶେଷ ଭାଗରୁ ଆରମ୍ଭ ହୋଇଥିବା ଓଡ଼ିଶାର ନବଜାଗରଣ ପର୍ବର ଚୂଡାନ୍ତ ଫଳଶ୍ରୁତି । ଯେଉଁ ମାନଙ୍କର ସାଧନା-ସଂକଳ୍ପ-ସଂଗ୍ରାମ ଯୋଗୁଁ ଓଡିଆ ଜାତି, ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ, ପରମ୍ପରା ଆଜି ସୁସଂଗଠିତ । ସେମାନଙ୍କ ମଧ୍ୟରେ ଉତ୍କଳ ଗୌରବ ମଧୁସୂଦନ, ଉତ୍କଳମଣି ଗୋପବନ୍ଧୁ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି , ବ୍ୟାସକବି ଫକୀରମୋହନ, ସ୍ୱଭାବକବି ଗଙ୍ଗାଧର,କବିବର ରାଧାନାଥ, କର୍ମବୀର ଗୌରୀଶଙ୍କର, ପଣ୍ଡିତ ନୀଳକଣ୍ଠ, ହରିହର ମର୍ଦରାଜ, ବାମଣ୍ଡା ରାଜା ସାର୍ ବାସୁଦେବ ସୁଢଳ ଦେବ ପ୍ରମୁଖ ଅଗ୍ରପୂଜ୍ୟ । ତେବେ ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ ।
୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଦାବି ହୋଇଥିଲା । ଉତ୍କଳ ଗୌରବ ଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା ।