ଆଜି ଶ୍ରୀମନ୍ଦିରରେ ରାମ ଜନ୍ମନୀତି, ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ : ଆଜି ପବିତ୍ର ଶ୍ରୀରାମ ନବମୀ । ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ରାମ ଜନ୍ମ ନୀତି ପାଳନ ହେବ। ଶ୍ରୀମନ୍ଦିରକୁ ମଧ୍ୟାହ୍ନଧୂପ ଛେକ ପ୍ରବେଶ ପରେ ପରେ ଏହି ନୀତି ପାଳନ କରାଯିବ। ଶ୍ରୀମନ୍ଦିର ଦ୍ବାର ବନ୍ଦ କରି ଜନ୍ମ ନୀତି ସଂପାଦନ କରାଯିବ। ଏଥିପାଇଁ ଶ୍ରୀମନ୍ଦିରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ତେବେ ରାମ ଜନ୍ମ ନୀତି ପାଇଁ ଆଜି ୩ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଗୁରୁବାର ସନ୍ଧ୍ୟା ପ୍ରାୟ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଜନ୍ମ ନୀତି ଶେଷ ପରେ ରାତି ୮ଟା ପରେ ପୁନର୍ବାର ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।
ସୂଚନା ଯେ, ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କଙ୍କ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ ଗର୍ଭଉଦକ ଦିଆଯାଏ । ନବମୀ ଦିନ ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଜନ୍ମନୀତି ଅନୁଷ୍ଠିତ ହୋଇଥାଏ । ୨ଜଣ ମହାଜନ ସେବକ ଦଶରଥ ଓ କୌଶଲ୍ୟା ହୋଇ ଜନ୍ମବିଧି ପାଳନ ହୋଇଥାଏ । ଏହି ଗୁପ୍ତନୀତିକୁ କେହି ଯେପରି ଦେଖି ନ ପାରିବେ ସେଥିଲାଗି ଗର୍ଭଗୃହରେ ଥିବା ଜୟବିଜୟ ଦ୍ୱାରକୁ ବନ୍ଦକରାଯାଇଥାଏ । ଶ୍ରୀରାମ ଜନ୍ମ ହେବା ପରେ କର୍ପୁର ଆଳତି ବନ୍ଦାପନା ହୋଇ ମହାସୁଆର ଗଣ୍ଡୁସ ମସଲା, କ୍ଷୀର ମଣୋହୀ କରାଯାଏ । ଏହା ପରେ ପଣ୍ଡା ଶୀତଳଭୋଗ କରାଇବା ସହ ମହାସୁଆର ଜୟବିଜୟ ଦ୍ୱାରଠାରେ ଚରୁଭାତ ମଣୋହୀ କରାଇଥାନ୍ତି ।