ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି
- ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ ୩୬ ପ୍ଲାଟୁନ ପୋଲିସ
ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ନୂଆଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରାଜଭବନ ଯିବେ।
ଏଥିପାଇଁ ଜିଲ୍ଲା ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ତ୍ରୁଟିଶୂନ୍ୟ କରିବା ଉପରେ ବିଶେଷ ଧ୍ୟାନ ଦେଇଛି କଟକ କମିସନରେଟ ପୋଲିସ। ରାଷ୍ଟ୍ରପତିଙ୍କ ସୁରକ୍ଷା ଦୟିତ୍ୱରେ ରହିବେ ୧୨ ଜଣ ଅତିରିକ୍ତ ଡିସିପି, ୨୫ ଜଣ ଏସିପି, ୪୦ ଜଣ ଇନ୍ସପେକ୍ଟର, ୧୨୦ ସବଇନ୍ସପେକ୍ଟର ଓ ଏଏସଆଇ। ନିୟୋଜିତ ହେବେ ୩୬ ପ୍ଲାଟୁନ ପୋଲିସ। ଏହାସହ ୩ଟି କୁଇକ ରେସ୍ପନ୍ସ ଟିମ, ୨ଟି ଟାକ୍ଟିକାଲ ୟୁନିଟ ମଧ୍ୟ ରହିବ । ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କର ଏହା ତୃତୀୟ ଓଡ଼ିଶା ଗସ୍ତ।
ଆସନ୍ତାକାଲି ରାଷ୍ଟ୍ରପତି କଟକ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରଥମେ ସେ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ। ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି। ୨୭ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପ୍ଲେକ୍ସ ଶିଳାନ୍ୟାସ କରିବେ । ପରେ ସେ ଭଦ୍ରକ ଯାଇ ଭଦ୍ରକ ସ୍ୱୟଂଶାସିତ କଲେଜର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେବା ପରେ ଦିଲ୍ଲୀ ଫେରିଯିବେ। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩୬ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବ। ରାଷ୍ଟ୍ରପତିଙ୍କ କାରକେଡ ଦାୟିତ୍ୱରେ ଏସପି ରାଙ୍କ ଅଧିକାରୀ ରହିବେ ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି।