ରାଜ୍ୟରେ ଆଗାମୀ ୩ ଦିନ ଯାଏଁ କାଳବୈଶାଖୀ ବର୍ଷା ସହ ବଜ୍ରପାତ !

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଗାମୀ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଶୁକ୍ରବାର ଅପରାହ୍ନ ଠାରୁ ରବିବାର ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ କିଛି ଜିଲ୍ଲାରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅପରପକ୍ଷରେ କାଳବୈଶାଖୀ ସମ୍ଭାବନା ଥିବା ୧୪ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଅପରାହ୍ନ ଠାରୁ ଆସନ୍ତାକାଲି (ଶନିବାର) ମଧ୍ୟାହ୍ନ ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା , ବଜ୍ରପାତ ସହିତ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ଏହି ୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଶନିବାର ଅପରାହ୍ନରୁ ରବିବାର ମଧ୍ୟାହ୍ନ ମଧ୍ୟରେ କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ରବିବାର ଅପରାହ୍ନରୁ ସୋମବାର ମଧ୍ୟାହ୍ନ ମଧ୍ୟରେ ରାୟଗଡା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହିତ ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।