ଦେଶରେ ରେକର୍ଡ ଭାଙ୍ଗୁଛି କରୋନା : ଆଉ ୩,୯୨,୪୮୮ ସଂକ୍ରମିତ ଓ ୩,୬୮୯ ମୃତ

ନୂଆଦିଲ୍ଲୀ : ଦେଶରେ ସାଂଘାତିକ ହେଉଛି କରୋନା ସ୍ଥିତି । ଦୈନିକ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଏଥିସହିତ ଦୈନିକ କରୋନା ସଂକ୍ରମଣ ମାମଲାରେ ଭାରତ ବିଶ୍ୱରେ ୧ ନମ୍ବରରେ ପହଞ୍ଚିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଅନ୍ୟପଟେ କରୋନା ଟିକାକରଣ ଚାଲିଥିବା ସତ୍ତ୍ୱେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବୃଦ୍ଧି ପାଇଛି । ଦେଶରେ ସମ୍ପ୍ରତି ୨.୪ ନିୟୁତ ସକ୍ରିୟ କୋଭିଡ ଆକ୍ରାନ୍ତ ରହିଛନ୍ତି।
ରବିବାର ଗତ ୨୪ଘଣ୍ଟାରେ ୩ଲକ୍ଷ ୯୨ହଜାର ୪୮୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ହଜାର ୬୮୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩ଲକ୍ଷ ୦୭ହଜାର ୮୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୯୫ଲକ୍ଷ ୫୭ହଜାର ୪୫୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୨ଲକ୍ଷ ୧୫ହଜାର ୫୪୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୧କୋଟି ୫୯ଲକ୍ଷ ୯୨ହଜାର ୨୭୧ଜଣ ସୁସ୍ଥ ହୋଇଥିବା ବେଳେ ୩୩ଲକ୍ଷ ୪୯ହଜାର ୬୪୪ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।