ରେକର୍ଡ ଭାଙ୍ଗୁଛି କରୋନା : ଆଉ ୨ଲକ୍ଷ ୭୩୯ ସଂକ୍ରମିତ ଓ ୧୦୨୭ ମୃତ

ନୂଆଦିଲ୍ଲୀ : ଦେଶରେ ସାଂଘାତିକ ହେଉଛି କରୋନା ସ୍ଥିତି । ଦୈନିକ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଦୈନିକ ସଂକ୍ରମଣ ସଂଖ୍ୟା ପ୍ରଥମ କରି ୨ ଲକ୍ଷ ଟପିବା ସହ ଦେଶରେ ମାତ୍ର ୧୦ ଦିନ ମଧ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୨ଗୁଣ ହୋଇଯାଇଛି। ଏଥିସହିତ ଦୈନିକ କରୋନା ସଂକ୍ରମଣ ମାମଲାରେ ଭାରତ ବିଶ୍ୱରେ ୧ ନମ୍ବରରେ ପହଞ୍ଚିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଉଛି। ଅନ୍ୟପଟେ କରୋନା ଟିକାକରଣ ଚାଲିଥିବା ସତ୍ତ୍ୱେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବୃଦ୍ଧି ପାଇଛି।
ଏହାରି ମଧ୍ୟରେ ଗୁରୁବାର ଗତ ୨୪ଘଣ୍ଟାରେ ୨ଲକ୍ଷ ୭୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୩୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ଆଉ ୯୩ହଜାର ୫୨୮ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୪୦ଲକ୍ଷ ୭୪ହଜାର ୫୬୪କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୭୩ହଜାର ୧୨୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୧କୋଟି ୨୪ଲକ୍ଷ ୨୯ହଜାର ୫୬୪ଜଣ ସୁସ୍ଥ ହୋଇଥିବା ବେଳେ ୧୪ଲକ୍ଷ ୭୧ହଜାର ୮୭୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।