ଦେଶରେ ଆଉ ୫୦,୮୪୮ କରୋନା ସଂକ୍ରମିତ ଚିହ୍ନଟ ଓ ୧,୩୫୮ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ସେହିପରି ଦେଶରେ ୯୧ ଦିନ ପରେ ସବୁଠାରୁ କମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୯,୪୬,୩୯,୫୧୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
ବୁଧବାର ଗତ ୨୪ଘଣ୍ଟାରେ ୫୦ହଜାର ୮୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ହଜାର ୩୫୮ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୬୮ହଜାର ୮୧୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୮ହଜାର ୮୬୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୯୦ହଜାର ୬୬୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୮୯ଲକ୍ଷ ୯୪ହଜାର ୮୫୫ଜଣ ସୁସ୍ଥ ହୋଇଥିବା ବେଳେ ୬ଲକ୍ଷ ୪୩ହଜାର ୧୯୪ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।