ଦେଶରେ ଆଉ ୪୬,୧୪୮ କରୋନା ସଂକ୍ରମିତ ଚିହ୍ନଟ ଓ ୯୭୯ ମୃତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ଏବେ ୧ ଲକ୍ଷ ତଳକୁ ଖସିଛି । ଏହାରି ଭିତରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଏପ୍ରିଲ୍ ମାସ ପରଠାରୁ ପ୍ରଥମ ଥର ପାଇଁ ଏକ ହଜାର ତଳକୁ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୨,୩୬,୬୩,୨୯୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ସେହିପରି ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ରବିବାର ସୁଦ୍ଧା ସମୁଦାୟ ୪୦,୬୩,୭୧,୨୭୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୭୦,୫୧୫ଟି ନମୁନା।
ସୋମବାର ଗତ ୨୪ଘଣ୍ଟାରେ ୪୬ହଜାର ୧୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୭୯ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୫୮ହଜାର୫୭୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୦୨ଲକ୍ଷ ୭୯ହଜାର ୩୩୧ କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୯୬ହଜାର ୭୩୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୯୩ଲକ୍ଷ ୦୯ହଜାର ୬୦୭ଜଣ ସୁସ୍ଥ ହୋଇଥିବା ବେଳେ ୫ଲକ୍ଷ ୭୨ହଜାର ୯୯୪ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।