ଦେଶରେ ଆଉ ୪୧,୧୫୭ କରୋନା ସଂକ୍ରମିତ ଚିହ୍ନଟ ଓ ୫୧୮ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି ।
ରବିବାର ଗତ ୨୪ଘଣ୍ଟାରେ ୪୧ହଜାର୧୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧୮ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୨ହଜାର ୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୧ଲକ୍ଷ ୬ହଜାର ୦୬୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୧୩ହଜାର ୬୦୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨ଲକ୍ଷ ୬୯ହଜାର ୭୯୬ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୨୨ହଜାର ୬୬୦ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।