ଦେଶରେ ଆଉ ୪୪,୬୪୩ କରୋନା ସଂକ୍ରମିତ ଚିହ୍ନଟ ଓ ୪୬୪ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ଦେଶରେ ଆରୋଗ୍ୟ ହାର ୯୭.୩୬% ରହିଥିବାବେଳେ ଦୈନିକ ସଂକ୍ରମଣ ୨.୭୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୪୧% ରହିଛି। ସେହିପରି ଗୁରୁବାର ସନ୍ଧ୍ୟା ସୁଦ୍ଧା ୪୭.୬୫ କୋଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୪୯.୫୩ କୋଟି ପାନ ଟିକା ଦିଆଯାଇଛି।
ଶୁକ୍ରବାର ଗତ ୨୪ଘଣ୍ଟାରେ ୪୪ହଜାର ୬୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୧ହଜାର ୦୯୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୮ଲକ୍ଷ ୫୬ହଜାର ୭୫୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୬ହଜାର ୭୫୪ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୦ଲକ୍ଷ ୧୫ହଜାର ୮୪୪ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୧୪ହଜାର ୧୫୯ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।