ଦେଶରେ ଆଉ ୩୯,୦୭୦ କରୋନା ସଂକ୍ରମିତ ଚିହ୍ନଟ ଓ ୪୯୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି ।
ରବିବାର ଗତ ୨୪ଘଣ୍ଟାରେ ୩୯ହଜାର ୦୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୩ହଜାର ୯୧୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୯ଲକ୍ଷ ୩୪ହଜାର ୪୫୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୭ହଜାର ୮୬୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୦ଲକ୍ଷ ୯୯ହଜାର ୭୭୧ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୨୭ହଜାର ୮୬୨ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।