ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୪ ମୃତ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ଗତ ୨୪ ଘଂଟା ମଧ୍ୟରେ ୮୦୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ରାୟଗଡ଼ା ଜିଲାରୁ ୪ ଜଣ, କେନ୍ଦୁଝର ୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର ଓ ଭଦ୍ରକ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୬୨,୬୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୯୧,୦୪୮ଜଣ ସୁସ୍ଥ ହୋଇଥିବା ବେଳେ ୬୯,୪୫୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୦୬୮ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।