ଦେଶରେ ଆଉ ୪୮,୭୮୬ କରୋନା ସଂକ୍ରମିତ ଚିହ୍ନଟ ଓ ୧,୦୦୫ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୫୦ହଜାରରୁ ତଳେ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୧ ହଜାରରୁ ସାମାନ୍ୟ ଅଧିକ ରହିଛି। ସେହିପରି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୩,୫୭,୧୬,୦୧୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୩୦ ତାରିଖ ସୁଦ୍ଧା ସମୁଦାୟ ୪୧,୨୦,୨୧,୪୯୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୧,୪୫୦ଟି ନମୁନା।
ଗୁରୁବାର ଗତ ୨୪ଘଣ୍ଟାରେ ୪୮ହଜାର ୭୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ହଜାର ୫ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୬୧ହଜାର ୫୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪ଲକ୍ଷ ୧୧ହଜାର ୬୩୪ କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୯୯ହଜାର ୪୫୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୯୪ଲକ୍ଷ ୮୮ହଜାର ୯୧୮ଜଣ ସୁସ୍ଥ ହୋଇଥିବା ବେଳେ ୫ଲକ୍ଷ ୨୩ହଜାର ୨୫୭ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।