ଦୈନିକ କରୋନା ସଂକ୍ରମଣ ମାମଲାରେ ଭାରତ ବିଶ୍ୱରେ ୧ ନମ୍ବର

୬ ମାସ ମଧ୍ୟରେ ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୯୩,୨୪୯ ସଂକ୍ରମିତ ଚିହ୍ନଟ ଓ ୫୧୩ ମୃତ
ନୂଆଦିଲ୍ଲୀ : ଦେଶରେ ସାଂଘାତିକ ହେଉଛି କରୋନା ସ୍ଥିତି । ଦୈନିକ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଏହାରି ମଧ୍ୟରେ ରବିବାର ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫ଶହ ଟପିଥିବାବେଳେ ରେକର୍ଡ ପରିମାଣରେ ୯୩ ହଜାର ନୂଆ ଲୋକ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ବିଗତ ୫ ମାସ ମଧ୍ୟରେ ଗୋଟିଏ ଦିନରେ ସର୍ବାଧିକ । ଏଥି ସହିତ ଦୈନିକ କରୋନା ସଂକ୍ରମଣ ମାମଲାରେ ଭାରତ ବିଶ୍ୱରେ ୧ ନମ୍ବରରେ ପହଞ୍ଚିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଉଛି। ଅନ୍ୟପଟେ କରୋନା ଟିକାକରଣ ଚାଲିଥିବା ସତ୍ବେ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚିନ୍ତା ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୭ କୋଟି ୫୯ ଲକ୍ଷ ୭୯ ହଜାର ୬୫୧ ଜଣଙ୍କୁ ଟିକା ଦିଆଯାଇଥିବା ସୂଚନା ମିଳିଛି। ଏଥିସହିତ ୮ଟି ରାଜ୍ୟରେ ୮୧.୪୨% କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ମହାରାଷ୍ଟ୍ର ସମେତ ୫ଟି ରାଜ୍ୟରେ ୮୬% ମୃତକ ରହିଛନ୍ତି ।
ଏହାରି ମଧ୍ୟରେ ରବିବାର ଗତ ୨୪ଘଣ୍ଟାରେ ୯୩ହଜାର ୨୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ଆଉ ୬୦ହଜାର ୦୪୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୨୪ଲକ୍ଷ ୮୫ହଜାର ୫୦୯କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୬୪ହଜାର ୬୨୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୧କୋଟି ୧୬ଲକ୍ଷ ୨୯ହଜାର ୨୮୯ଜଣ ସୁସ୍ଥ ହୋଇଥିବା ବେଳେ ୬ଲକ୍ଷ ୯୧ହଜାର ୫୯୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।