ଦେଶରେ ଆଉ ୬୦,୪୭୧ କରୋନା ସଂକ୍ରମିତ ଚିହ୍ନଟ ଓ ୨,୭୨୬ ମୃତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୨୬ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୭୫ ଦିନରେ ମଙ୍ଗଳବାର ସର୍ବନିମ୍ନ ଦୈନିକ ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।
ମଙ୍ଗଳବାର ଗତ ୨୪ଘଣ୍ଟାରେ ୬୦ହଜାର ୪୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ହଜାର ୭୨୬ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧ଲକ୍ଷ ୧୭ହଜାର ୫୨୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୯୫ଲକ୍ଷ ୭୦ହଜାର ୮୮୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୭୭ହଜାର ୦୩୧ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୮୨ଲକ୍ଷ ୮୦ହଜାର ୪୭୨ଜଣ ସୁସ୍ଥ ହୋଇଥିବା ବେଳେ ୯ଲକ୍ଷ ୧୩ହଜାର ୩୭୮ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।