ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ! ୧୦୮ ସୁବାସିତ ଜଳରେ ସ୍ନାନ ପରେ ଜ୍ଵରରେ ପଡ଼ିବେ ଠାକୁର, ୧୪ ଦିନ କାଳ ଭକ୍ତଙ୍କଠାରୁ ଦୂରେଇ ରହିବେ ମହାପ୍ରଭୁ
ଆଜି ଶ୍ରୀ କ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସ ଜଳରେ ସ୍ନାନ କରାଯାଇଥାଏ। ବର୍ଷରେ ଏହିଦିନ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରିଥାଆନ୍ତି। ତେବେ ଜଗନ୍ନାଥଙ୍କ ୩୫ ଗୋଟି ଗରା ଏବଂ ବଳଭଦ୍ର ୩୩ ଗରା, ଦେବୀ ସୁଭଦ୍ରା ୨୨ ଗୋଟି ଗରା ଏବଂ ୧୮ ଗୋଟି ଗରାରେ ସ୍ନାନ କରିବେ ପ୍ରଭୁ ସୁଦର୍ଶନ । ସ୍ନାନ ପୂର୍ଣ୍ଣିମା ପୂର୍ବଦିନ ସାଧାରଣ ଦିନପରି ଶ୍ରୀମନ୍ଦିରରେ କବାଟଫିଟା, ପାହାନ୍ତିଆ ଅବକାଶ, ଗୋପାଳବଲ୍ଲଭ, ସକାଳଧୂପ, ଦ୍ୱିପ୍ରହରଧୂପ ଆଦି ସମସ୍ତ ନୀତିର ସମାପନ ପରେ ସ୍ୱଳ୍ପସମୟ ପାଇଁ ପହୁଡ଼ ହୁଏ ଓ ପରେ ପରେ ସ୍ନାନ ପୂର୍ଣ୍ଣିମାର ବିଧି ଆରମ୍ଭ ହେଇଯାଏ । ଏହିଦିନ କୋଠ ସିଆଁସିଆ ମନ୍ଦିରରେ ପ୍ରବେଶ କରନ୍ତି ଓ ପହଣ୍ଡି ପାଇଁ ଚାରମାଳ ବାନ୍ଧନ୍ତି । ପ୍ରଭୁଙ୍କର ସେନାପଟା ଓ ବାହୁଟିନାଗି ହୁଏ । ରତ୍ନ ସିଂହାସନ ଉପରେ ମଙ୍ଗଳାର୍ପଣ କରାଯାଏ ।
ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦଇତାମାନେ ପହଣ୍ଡି କରାଉଥିବା ବେଳେ ମଦନମୋହନଙ୍କୁ କେବଳ ମହାଜନ ସେବକମାନେ (ବ୍ରାହ୍ମଣ ଗୋଷ୍ଠୀର ସେବକ) ବିଜେ କରାଇଥାନ୍ତି । ପହଣ୍ଡି ବିଜେ ସମୟରେ ସାତ ପାହଚ ଉପରେ ଠାକୁରମାନେ ଚୂଳ ଓ ଟାହିଆ ଲାଗି ହୁଅନ୍ତି । ଏହି ସାତପାହଚ ଉପରେ ଟାହ୍ୟାନାଗି ହେବାପରେ ଦ୍ୱିତୀୟ ମଙ୍ଗଳାର୍ପଣ ହୁଏ । ତା ପରେ ବନ୍ଦାପନା ଓ ପରେ ପରେ ରାଘବଦାସ ମଠରୁ ଆସିଥିବା ଘଷା ନାଗି କରାଯାଏ । ତା ପରେ ପନ୍ତି ଖାଇ ଖାଇ ଠାକୁରମାନେ ସ୍ନାନବେଦିକୁ ଯାଇ ନିଜର ଆସ୍ଥାନ ଉପରେ ଅବସ୍ଥାନ କରନ୍ତି । ସୁଆର ବଡୁ ଅମ୍ଭୂଣିଆ ପାଣି ଛିଞ୍ଚନ୍ତି । ଗରାବଡୁ ସୁବର୍ଣ୍ଣକଳସ ଧରି ଶିତଳାଦେବୀଙ୍କ ସମ୍ମୁଖସ୍ଥ ଓ ବର୍ଷତମାମ ଅପବ୍ୟବହୃତ ହୋଇ ରହିଥିବା ସ୍ୱର୍ଣ୍ଣକୂପରୁ ଜଳ ଆଣନ୍ତି ।
ଦେବସ୍ନାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ ।
ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।
ଏହାପରେ ଠାକୁରଙ୍କୁ ଜ୍ୱର ହୋଇଥାଏ। ତାପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି । ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଓ ପଟିମୂର୍ତି ସ୍ଥାପନା କରାଯାଏ । ତାପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ୟ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି । ଏହାକୁ ଅଣସର କୁହାଯାଏ । ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ । ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି ।