ଆଜି ପଞ୍ଚୁକର ଦ୍ଵିତୀୟ ଦିନ : ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ, ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼
ପୁରୀ : ଆଜି ପଞ୍ଚୁକର ଦ୍ଵିତୀୟ ଦିନ। କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୂଡ଼ ବେଶ ଅନୁଷ୍ଠିତ ହେଉଛି । ଏହି ବେଶରେ ଠାକୁର ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୂଡା ମଧ୍ୟ ଧାରଣ କରିଥାନ୍ତି। ମସ୍ତକରେ ଏହି ଚୂଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଥାଏ। ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଲେ ବୋଲି ବିଶ୍ୱାସ ରହିଛି। ଆସନ୍ତାକାଲି ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ତିବିକ୍ରମ ବେଶ ଅନୁଷ୍ଠିତ ହେବ।
କାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଏବେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଆଜି ପଞ୍ଚୁକର ଦ୍ୱାଦଶୀ ତିଥିରେ ଭକ୍ତ ମାନେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚୁକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଗହଳି ଲାଗି ରହିଛି।
ତେବେ ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଗୁରୁବାର ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଠିଆକିଆ ବା ଲକ୍ଷ୍ମୀନାରାୟଣ ବେଶରେ ବିଭୂଷିତ ହୋଇଥିବା ବେଳେ ଲକ୍ଷାଧିକ ଭକ୍ତ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ନିଜକୁ ଧନ୍ୟ ମନେ କରିଥିଲେ।ସେହିପରି ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ ତିଥିରେ ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ହବିଷ୍ୟାଳୀଙ୍କ ସହ ଭକ୍ତଙ୍କ ପ୍ରବଳ ଭିଡ ଜମିଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।