ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ପୁରୀ : ଆଜି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି। ବୁଧବାର ସନ୍ଧ୍ୟାରେ ୪ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ମନା । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହଙ୍କ ଦର୍ଶନ କରି ପାରିବେ ନାହିଁ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ସେହି ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ନୀତି ସମୟ ଧାର୍ଯ୍ୟ ହେବ ।
ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।