କାହିଁକି ପାଳନ ହୁଏ ଗୁରୁଦିବସ ?
ଆଜି ହେଉଛି ପବିତ୍ର ଗୁରୁଦିବସ। ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଆମେ ପ୍ରତିବର୍ଷ ଗୁରୁଦିବସ ଭାବେ ପାଳନ କରିଥାଉ। ସେ ଏକ ଧାରରେ ବିଦ୍ୱାନ, ରାଜନିତୀଜ୍ଞ ଓ ଏକ ମହାନ ଶିକ୍ଷକ ଥିଲେ। ସେହିପରି ଦାର୍ଶିନିକ ତଥା ଜଣେ କୁଶଳୀ ରାଷ୍ଟ୍ରନୀତିଜ୍ଞ ଓ ଜଣେ ଆଦର୍ଶ ଶିକ୍ଷକ ଭାବରେ ରାଧାକ୍ରିଷ୍ଣନ ବେଶ୍ ପରଚିତ। ତେବେ ରାଧାକ୍ରିଷ୍ଣନଙ୍କ ଜନ୍ମଦିନରେ କାହିଁକି ପାଳନ ହୋଇଥାଏ ଗୁରୁଦିବସ? ତେବେ ଆସନ୍ତୁ ଜାଣିବା ସେ ବିଷୟରେ..
ସର୍ବପଲ୍ଲୀ ରାଧାକ୍ରିଷ୍ଣନ ଭାରତର ରାଷ୍ଟ୍ରପତି ଥିବା ସମୟରେ ବହୁ ଛାତ୍ରଛାତ୍ରୀ ଓ ବନ୍ଧୁମାନେ ତାଙ୍କର ଜନ୍ମଦିନ ପାଳନ କରିବାକୁ କହିଥିଲେ। ଏହାକୁ ନେଇ ସେ କହିଥିଲେ, “ତୁମେମାନେ ମୋ ଜନ୍ମଦିନ ପାଳନ କରିବା ଅପେକ୍ଷା, ଯଦି ଏହି ଦିନ ଗୁରୁମାନଙ୍କ ଦିବସ ଭାବରେ ପାଳନ କରିବ ତାହା ମୋ ପାଇଁ ସମ୍ମାନର ପରିଚୟ ହେବ।” ସେହିଦିନଠାରୁ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ଭାବରେ ସାରାଦେଶରେ ପାଳନ ହୋଇଆସୁଛି।
୧୮୮୮ ସେପ୍ଟେମ୍ବର ୫ ତାରିଖରେ ତାମିଲନାଡୁର ତିରୁଟ୍ଟନୀଠାରେ ଜନ୍ମଗ୍ରହଣ କରିଥିଲେ ଏହି ମହାନ ବ୍ୟକ୍ତିତ୍ୱ । ରାଧାକ୍ରିଷ୍ଣନଙ୍କ ଶୈଶବ ତିରୁଟ୍ଟନୀ ଓ ତିରୁପତିରେ କଟିଥିଲା ଏବଂ ତାଙ୍କର ପାଠପଢା ଆରମ୍ଭ ହୋଇଥିଲା ଖ୍ରୀଷ୍ଟିଆନ୍ ମିସନାରି ସ୍କୁଲରେ । ଉଚ୍ଚ ଶିକ୍ଷା ପରେ, ୧୯୦୯ରେ ରାଧାକ୍ରିଷ୍ଣନଙ୍କୁ ମାଡ୍ରାସ ପ୍ରେସିଡେନ୍ସି ମହାବିଦ୍ୟାଳୟରେ ଦର୍ଶନ ବିଭାଗର ଅଧ୍ୟାପକ ଭାବେ ନିଯୁକ୍ତି ମିଳିଥିଲା । ଏହାପରଠାରୁ ରାଧାକ୍ରିଷ୍ଣନ ମୁଖ୍ୟତଃ ଭାରତୀୟ ଦର୍ଶନ ଶାସ୍ତ୍ର ଏବଂ ଧର୍ମଶାସ୍ତ୍ର ଅଧ୍ୟୟନରେ ନିଜକୁ ନିୟୋଜିତ ରଖିଥିଲେ । ୧୯୧୮ରେ ରାଧାକ୍ରିଷ୍ଣନ ମୈସୂର ବିଶ୍ୱବିଦ୍ୟାଳୟରେ ଦର୍ଶନ ବିଭାଗର ପ୍ରଫେସର ଭାବେ ନିଯୁକ୍ତ ହୋଇଥିଲେ । ତାହାପରେ କଲିକତା ବିଶ୍ୱବିଦ୍ୟାଳୟ, ଲଣ୍ଡନର ହାର୍ଭାଡ୍ ବିଶ୍ୱବିଦ୍ୟାଳୟ, ମାଂଚେଷ୍ଟର ବିଶ୍ୱବିଦ୍ୟାଳୟ ଓ ଶେଷରେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ । ଶିକ୍ଷକ-ଜୀବନରେ ସେ ଭାରତୀୟ ଦର୍ଶନ, ଧର୍ମ-ଦର୍ଶନ, ତୁଳନାତ୍ମକ ଧର୍ମ-ଦର୍ଶନ ଓ ନୀତିଶିକ୍ଷା ଆଦିରେ ଶିକ୍ଷାଦାନ କରିଥିଲେ ।
ଅଧ୍ୟାପକ ରହିସାରିବା ପରେ ରାଧାକ୍ରିଷ୍ଣନ୍ ରାଜନୀତିରେ ପ୍ରବେଶ କରିଥିଲେ। ଭାରତ ସ୍ୱାଧୀନ ହେବାପରେ ସେ ୟୁନେସ୍କୋରେ ଭାରତର ପ୍ରତିନିଧି ହୋଇଥିଲେ। ଏହାପରେ ସେ ସୋଭିଏତ୍ ସଂଘରେ ଭାରତର ଆମ୍ବାସାଡାର ନିଯୁକ୍ତ ହୋଇଥିଲେ। ୧୯୪୯ରୁ ୧୯୫୨ ମସିହା ମଧ୍ୟରେ ସେ ସମ୍ବିଧାନ ପ୍ରଣୟନ ସଭାର ସଦସ୍ୟ ମଧ୍ୟ ରହିଥିଲେ। ଏହାପରେ ସ୍ୱାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ଭାବରେ ଶପଥ ନେଇଥିଲେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍। ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେ ସେ ସ୍ୱାଧୀନ ଭାରତର ଦ୍ୱିତୀୟ ରାଷ୍ଟ୍ରପତି ହୋଇଥିଲେ। ୧୯୫୪ ମସିହାରେ ରାଧାକ୍ରିଷ୍ଣନ୍ଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା। ‘ଶ୍ରୀମଦଭଗବତଗୀତା’କୁ ଇଂରାଜୀରେ ଅନୁବାଦ କରିଥିଲେ ରାଧାକ୍ରିଷ୍ଣନ । ବେଦ ଓ ଉପନିଷଦକୁ ଅତି ସୁନ୍ଦର ଭାବରେ ବ୍ୟାଖ୍ୟା କରୁଥିଲେ ସେ । ଖାଲି ସେତିକି ନୁହେଁ ରାଧାକ୍ରିଷ୍ଣନ ସତ୍ୟାନୁରାଗୀ ଓ ସଦାଚାରୀ ବି ଥିଲେ । ୧୯୪୯ରେ ସୋଭିଏତେ ରଷିଆକୁ ଭାରତୀୟ ରାଷ୍ଟ୍ରଦୂତ ଭାବେ ପ୍ରେରିତ ହୋଇଥିଲେ ଏବଂ ୧୯୫୪ରେ ତାଙ୍କୁ ପ୍ରଦାନ କରାଯାଇଥିଲା ସମ୍ମାନଜନକ ଭାରତ ରତ୍ନ । ଆଜି ସେହି ମହାନ ଜନନାୟକଙ୍କ ଉଦ୍ଦେଶ୍ୟରେ ଦେଶବାସୀ ପାଳୁଛନ୍ତି ପବିତ୍ର ‘ଗୁରୁ ଦିବସ’ ଏବଂ ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ଗୁରୁଙ୍କୁ ଦେବତୁଲ୍ୟ ଭାବେ ପୂଜାର୍ଚ୍ଚନା କରିଛନ୍ତି । ୧୯୭୫ ମସିହା ଏପ୍ରିଲ ୧୭ ତାରିଖରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା।
Very true that is more interesting
Thank u