୨୪ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ଦକ୍ଷିଣ ଓ ଆଭ୍ୟନ୍ତରୀଣର ପ୍ରାୟ ୮ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଜାରି ସତର୍କ ସୂଚନା ମତାବକ ଆଜି (୨୯ ଅପ୍ରେଲ, ଗୁରୁବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୩୦ ଅପ୍ରେଲ, ଶୁକ୍ରବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ପ୍ରଭୃତି ୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏଥିସହ ଆସନ୍ତା ମେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।